ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରାର ନୀତିକାନ୍ତି ପ୍ରସଙ୍ଗ : ସହଯୋଗ ଲୋଡିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ:

ସ୍ନାନ ଯାତ୍ରା ସହିତ ତିନି ଠାକୁରଙ୍କ ଘୋଷଯାତ୍ରା କିଭଳି ସୁରୁଖୁରୁରେ ସମ୍ପନ୍ନ ହେବ ସେନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ।
ସୋମବାର ଅଧିକାରୀମାନଙ୍କ ସହିତ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ଡକ୍ଟର କୁମାର କହିଛନ୍ତି ଯେ ଶ୍ରୀଜଗନ୍ନାଥଙ୍କ ମୂଳପୀଠର କିଭଳି ବିଧି ରକ୍ଷାହେବ ସେଥିପାଇଁ ସମସ୍ତେ ସହଯୋଗ କରିବା ଆବଶ୍ୟକ । ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଆମ ସମସ୍ତଙ୍କୁ ତ୍ୟାଗ କରିବାକୁ ପଡିବ ବୋଲି ଭାବପ୍ରବଣ ହୋଇ କହିଛନ୍ତି ଡକ୍ଟର କ୍ରିଷନ କୁମାର…

ବିଶେଷଭାବେ ପୁରୀରେ ଯେଭଳି କରୋନା ସଂକ୍ରମଣ ନହୁଏ ସେଥିପାଇଁ ସେ ପୁରୀବାସୀଙ୍କ ସହଯୋଗ କାମନା କରିଛନ୍ତି । ସ୍ନାନଯାତ୍ରା ଠାରୁ ନୀଳାଦ୍ରୀବିଜେ ପର୍ଯ୍ୟନ୍ତ ଯେଭଳି ଶ୍ରୀଜୀଉମାନଙ୍କ ସମସ୍ତ କାର୍ଯ୍ୟ ବିନା ବାଧାବିଘ୍ନରେ ହେବ ସେଥିପାଇଁ ପୁରୀର ସମସ୍ତ ବାସିନ୍ଦାଙ୍କୁ ସହଯୋଗ କରିବାକୁ ସେ ନିବେଦନ କରିଛନ୍ତି ।

ଡକ୍ଟର କୁମାର କହିଛନ୍ତି ଯେ ସ୍ନାନପୂର୍ଣ୍ଣିମାରେ ନିୟୋଜିତ ସେବକଙ୍କ ମଧ୍ୟରୁ ଆଜିସୁଦ୍ଧା ୫୦ ପ୍ରତିଶତଙ୍କର କରୋନା ପରୀକ୍ଷା ସରିଥିବାବେଳେ ଅବଶିଷ୍ଟଙ୍କର ଦିନେ ଦୁଇଦିନ ମଧ୍ୟରେ ହୋଇଯିବ । ସଂକ୍ରମଣ ରୋକିବାପାଇଁ ଯେଉଁ ପଦକ୍ଷେପ ନିଆଯାଉଛି ତାହା ନିଶ୍ଚିତ ଭାବେ ସଫଳ ହେବ । ନିୟମ ମୁତାବକ ସାମାଜିକ ଦୂରତା ରକ୍ଷା କରାଯାଇ ସମସ୍ତ ନୀତିକାନ୍ତି କରିବାକୁ ଉଦ୍ୟମ ଅବ୍ୟାହତ ରହିଛି ।

ରଥ ତିଆରି କାର୍ଯ୍ୟରେ ମହାରଣା, ଭୋଇ ଓ ରୂପକାରଙ୍କ ସହିତ ଅନ୍ୟ ସେବକମାନଙ୍କ କାର୍ଯ୍ୟକୁ ମୁଖ୍ୟ ପ୍ରଶାସକ ପ୍ରଶଂସା କରିବା ସହିତ ସେମାନେ କିଭଳି ଦିନରାତି କାର୍ଯ୍ୟ କରୁଛନ୍ତି ତାହା ଉଲ୍ଲେଖ କରିଥିଲେ । ଏମାନଙ୍କ ତ୍ୟାଗ ଯୋଗୁଁ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଆଗେଇ ଚାଲିଥିବା ସେ ସୂଚନା ଦେଇଥିଲେ ।

ରଥ ନିର୍ମାଣ ନେଇ ମିଳିଥିବା ସୂଚନା ଅନୁଯାୟୀ ସୋମବାର ଗରଗରା ଖାପ କାମ ପରେ ପାଞ୍ଚ ଦଣ୍ଡା ଉପରେ ଫିଟିଙ୍ଗ କାରାଯାଇ ପୋଲ ଗୟଳ ଲଗାଯାଇଛି । ଭୂଇଁ ଚଉଡା କାଠାରେ ସାଲ ସହ ବିନ୍ଧ କାମ ସରିଥିବାବେଳେ ନାଗ ଗୋଡରେ ରୂପକାର ସେବକମାନେ ରାହୁ ରୂପ ଖୋଦେଇ କାମ ଜାରି ରଖିଛନ୍ତି ।

ଛନ୍ଦା ଗୟଳ ଚଉପଟ କାମ ଶେଷ ପର୍ଯ୍ୟାୟରେ ପହଞ୍ଚି ଥିବାବେଳେ ୧୪ ନାହାକା କାଠରେ ଚାରି କ’ଣ ଅଂଶ ମରା କାମ ସରିଛି । ଚାରି ନାହାକାକୁ ବାନ୍ଧି ରଖିବାପାଇଁ ‘ଢମକ’ ପ୍ରସ୍ତୁତ ଚାଲିଛି । ଓଝା ସେବକମାନେ ଗୟଳ ଲଗାଇବାପାଇଁ ଆବଶ୍ୟକ ମତେ ଗୟଳକଣ୍ଟା ରଥ ଖଳାକୁ ଯୋଗାଇ ଦେଇଥିବାବେଳେ ବର୍ତ୍ତମାନ ପୋଟଳ କଣ୍ଟା ପ୍ରସ୍ତୁତ ଚାଲିଛି ।